ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି
ଭୁବନେଶ୍ଵର:(କାଞ୍ଚନ ଟିଭି/ସ୍ଵାତୀ ପ୍ରିୟା ଦାସ) ଭୁବନେଶ୍ଵର କଳାମଣ୍ଡଳ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି । ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତି କୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟ ର ଜୟ ଗାନ କରି ଚାଲିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟ ରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ଏହି ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ଵିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ବିଏମସି ମେୟର ସୁଲୋଚନା ଦାସ, ସିଏମଓ ର ମୂଖ୍ୟ ଉପଦେଷ୍ଟା ଶ୍ରୀ ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୂଖ ସଚିବ ସଞ୍ଜୟ ସିଂହ, ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟ ପ୍ରମୂଖ ଉପସ୍ଥିତ ରହିଥିଲେ ।